10 ଏଥିଉତ୍ତାରେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?” 11 ତହିଁରେ ସେ ତାହାକୁ କହିଲା, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।” 12 ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା। 13 ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।” 14 ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।
15 ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।” 16 ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା। 17 ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
18 ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ; 19 ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା। 20 ତହୁଁ ସେ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ। 21 ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା। 22 ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
28 ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।” 29 ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା। 30 ପୁଣି ଶାମ୍ଶୋନ୍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ। 31 ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।
<- ବିଚାରକର୍ତ୍ତା 15ବିଚାରକର୍ତ୍ତା 17 ->