10 ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ। 11 ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।” 12 ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।” 13 ପୁଣି ସେ ଆପଣା ଦାସକୁ କହିଲା, “ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।” 14 ତେଣୁ ସେମାନେ ଆପଣା ପଥରେ ଚାଲିଗଲେ; ପୁଣି ବିନ୍ୟାମୀନ୍ର ଅଧିକାରସ୍ଥ ଗିବୀୟାର ନିକଟବର୍ତ୍ତୀ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା। 15 ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।
16 ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟାକାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ-ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ। 17 ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, “ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?” 18 ତହିଁରେ ସେ ତାହାକୁ କହିଲା, “ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ। 19 ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।” 20 ତହୁଁ ସେହି ବୃଦ୍ଧ ଲୋକ କହିଲା, “ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।”
21 ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ। 22 ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।” 23 ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, “ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର। 24 ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଅଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।” 25 ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ଲେବୀୟ ପୁରୁଷ ଆପଣା ଉପପତ୍ନୀ କି ଧରି ବାହାରକୁ ସେମାନଙ୍କ ନିକଟକୁ ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀ ସହିତ ଶାରୀରିକ ସମ୍ବନ୍ଧ କଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିସାରା ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ। 26 ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ୱାମୀ ରହୁଥିବା ଲୋକର ଗୃହଦ୍ୱାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।
27 ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି। 28 ତହୁଁ ସେ ତାହାକୁ କହିଲା, “ଉଠ, ଚାଲ ଆମ୍ଭେମାନେ ଯିବା;” ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହି ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା। 29 ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା। 30 ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, “ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ।”
<- ବିଚାରକର୍ତ୍ତା 18ବିଚାରକର୍ତ୍ତା 20 ->- a କ୍ରୋଧ ବ୍ୟଭିଚାର